ଫକୀରମୋହନ ଗ୍ରନ୍ଥାବଳୀ
ହସ ମାଡ଼େ, ମୁଣ୍ଡ ତଳକୁ ପୋତି ଦେଇ ଦୁଇ ଓଠ ବୁଜି ହସ ଲୁଚାଏ । ଏଣିକି ବାସୁ ପଢ଼ାଇ ଦେଲେ କେତେବେଳେ ତୁନି ତୁନି ପଢ଼େ, କେତେବେଳେ ଖାଲି ହୁଁ ହୁଁ କରେ, ପଢ଼ା ସରିଲେ ପାଟି ବୁଜି ହସି ହସି ଘରକୁ ପଳାଇଯାଏ । ପ୍ରତିଦିନ ସଞ୍ଜବେଳେ ଦାଣ୍ଡଦୁଆର କବାଟକୁ ଧରି କାହାକୁ ଚାହିଁଥାଏ, ବାସୁ ଆସିଲେ ଘରକୁ ପଳାଏ, ପାଞ୍ଚ ଡାକରେ ବାହାରେ ନାହିଁ । ଏଣିକି ରେବତୀ ଦାଣ୍ଡକୁ କେବେ ବାହାରିଲେ ବୁଢ଼ୀ ଖପା ହୁଏ।
ଦେଖୁଁ ଦେଖୁଁ ପଞ୍ଚମୀକୁ ପଞ୍ଚମୀକୁ ଦୁଇ ବରଷ ହୋଇଗଲାଣି । ବିଧାତାଙ୍କର ବିଧାନ, କାହାର ଦିନ ସମାନ ଭାବରେ ଯିବ ନାହିଁ । ଫଗୁଣମାସିଆ ଦିନ, କାହିଁ କିଛି ନାହିଁ, ଅଚାନକ କାହୁଁ ବାଡ଼ି ଆସିଲା – ସକାଳେ ଗ୍ରାମରେ ଶୁଣାଗଲା, ଗୁମାସ୍ତା ଶ୍ୟାମବନ୍ଧୁ ମହାନ୍ତିଙ୍କୁ ବାଡ଼ି ଧରିଛି । ମଫସଲ ଗାଁ’ରେ ବାଡ଼ି ପଡ଼ିଲେ ତାଟି କବାଟ ପଡ଼ିଯାଏ । ବାଡ଼ି ବୁଢ଼ୀ ସତେ ପରା ଟୋକେଇଟିଏ କାଖେଇ ଦାଣ୍ଡରେ ମନୁଷ୍ୟ ଗୋଟାଉଛି, ଏପରି ସମସ୍ତେ ମଣନ୍ତି । ଦୁଆରକୁ କାହାରି ଆସିବାର ନାହିଁ । ମାଇକିନିଆ ଦୁଇଟା କ’ଣ କରିବେ ? ପିଲାଟା ଡକା ପାଡ଼ି ଘର ବାହାର ହେଉଛି । ବାସୁଦେବ ଶୁଣି ସ୍କୁଲ ଛାଡ଼ି ଧାଇଁଲା । ଡର ନାହିଁ, ଭୟ ନାହିଁ, ଆପଣା ଶରୀର ପ୍ରତି ଭାବନା ନାହିଁ, ଶ୍ୟାମବନ୍ଧୁ ପାଖରେ ବସି ଗୋଡ଼ରେ ହାତ ବୁଲାଉଥାଏ, ପାଣି ଟୋପାଏ ଟୋପାଏ ମୁହଁରେ ଦେଉଥାଏ । ବେଳ ତିନିପ୍ରହର ସମୟରେ ଶ୍ୟାମବନ୍ଧୁ ବାସୁ ମୁହଁକୁ ଚାହିଁ ଖନେଇ ଖନେଇ କହିଲା, “ବାଁ – ସୁଁ ଏଁ – ବଁ ଆଁ – ଗିଁ - ଲା।” ବାସୁ ଭୋ ଭୋ କରି ଡକା ପାଡ଼ିଲା । ଘରେ ଚହଳ ପଡ଼ିଗଲା । ରେବତୀ ଭୂଇଁରେ ପଡ଼ି ଗଡ଼ୁଥାଏ, ଗ୍ରାମରେ ଲୋକେ ଶୁଣି କହିଲେ, ହୋଇଗଲା ପରା । ଦେଖୁଁ ଦେଖୁଁ ସଞ୍ଜବେଳକୁ କିଛି ନାହିଁ । କ’ଣ କରିବେ – ବାସୁଦେବଟା କାଲିକା ପିଲା, ଆଉ ଦୁଇଟା ଭୁଆସୁଣୀ । ଗ୍ରାମର ବନ ଶେଠି ଧୋବା ଜଣେ ଜାଣିବା ଶୁଣିବା ଲୋକ, ତା’ ଦେହକରେ ପଚାଶ କି ଷାଠିଏ ପାର କଲାଣି । କାଲି ହେଲେ ଯିବାକୁ ହେବ, ଆଜି ହେଲେ ଯିବାକୁ ହେବ, ଲୁଗାପଟା ଦି’ଖଣ୍ଡ ମଧ୍ୟ ମିଳିବାର ଭରସା । ଗାମୁଛାଟାଏ ଅଣ୍ଟାରେ ଭିଡ଼ିଦେଇ କୁରାଢ଼ୀଟାଏ କାନ୍ଧରେ ପକାଇ ହାଜର ହୋଇଗଲା । ଗ୍ରାମରେ କରଣ ସେହି ଘରକ; ଶାଶୁ, ବୋହୂ, ବାସୁଦେବ ତିନିଜଣ ଧରାଧରି କରି କର୍ମ ଚଳାଇଲେ । ସେ ସମୟର କଥାଗୁଡ଼ାକ ଲେଖିବାକୁ ଆଉ ହାତ ଚଳୁ ନାହିଁ । ଶ୍ମଶାନରୁ ଫେରି ଆସିବା ବେଳକୁ କୁଆଁତାରା ଉଇଁଲାଣି । ଘରେ ପଶିବା ମାତ୍ରକେ ରେବତୀମା’ ପୋଖରୀପାଣି ଗଲା, ଦେଖୁଁ ଦେଖୁଁ ଦିନ ଦ୍ୱିପ୍ରହର ବେଳେ ଗ୍ରାମରେ ହାଟ ହେଲା, ରେବତୀ ମା’ ନାହିଁ।
ଦିନ ଚାଲିଯାଏ, କାହାରି ଲାଗି ଦିନ ବସି ରହେ ନାହିଁ। କାହାର ପାଲିଙ୍କି ଉପରେ ପାଟଛତା, କାହାର ବେଢ଼ି ଉପରେ କୋରଡ଼ା । ଦିନ ଯାଉଛି ସମସ୍ତଙ୍କର, ଯିବ ସମସ୍ତଙ୍କର । ଦେଖୁଁ ଦେଖୁଁ ତିନିମାସ କଟିଗଲାଣି । ଶ୍ୟାମବନ୍ଧୁ ଘରେ ଦୁଇଗୋଟି ଗାଈ ଥିଲେ, ତହବିଲ ବାକି ଟଙ୍କା ସକାଶେ ଜମିଦାରଘର ଲୋକେ ଆସି ବାନ୍ଧି ଘେନିଗଲେ । ଆମ୍ଭେମାନେ ଜାଣୁଁ, ଜମିଦାରଘର ଟଙ୍କାକୁ ଶ୍ୟାମବନ୍ଧୁ ଶିବନିର୍ମାଲ୍ୟ ପରି ଜ୍ଞାନ କରେ, ଟଙ୍କାଟିଏ ଅସୁଲ ହେଲେ ଜମିଦାର କଚେରିରେ ପୈଠ ନ କରିବାଯାଏ ତାହାର ନିଦ ନାହିଁ। ମାତ୍ର ତାହା ଉପରେ ଟଙ୍କା ଥାଉ ବା ନ ଥାଉ, ଗାଈ ଦିଓଟି ବଡ଼ ଦୁଧିଆଳୀ, ଏ କଥା ପୂର୍ବରୁ ଜମିଦାରଙ୍କ ଜଣାଥିଲା । ତାହା ଛଡ଼ା ଜମିଦାର ଚଷିବାକୁ ଯେ ତିନିମାଣ ଜମି ଦେଇଥିଲେ, ତାହା ଛଡ଼ାଇ ନେଲେଣି । ହଳିଆଟା ବା ଘରେ ଆଉ କିଆଁ ରହିବ ? ଦୋଳପୂର୍ଣ୍ଣିମା ଦିନ ସେ ଛାଡ଼ିଗଲା । ବଳଦ ଦୁଇଟା ସାଢ଼େ ସତର ଟଙ୍କାରେ ବିକା ଯାଇଥିଲା, ଦୁଇଜଣଙ୍କ କ୍ରିୟାରେ ଖରଚ ଯାଇ ଯାହା ବଳିଥିଲା, ସଟାବଟା କରି ମାସେ ଚଳିଲା। ଆଜି