ଗଳ୍ପସ୍ଵଳ୍ପ/ଡାକ ମୁନସୀ

ଉଇକିପାଠାଗାର ରୁ
< ଗଳ୍ପସ୍ଵଳ୍ପ(ଡାକ ମୁନସୀ ରୁ ଲେଉଟି ଆସିଛି)
Jump to navigation Jump to search
ଗଳ୍ପସ୍ଵଳ୍ପ ଲେଖକ/କବି: ଫକୀର ମୋହନ ସେନାପତି
ଡାକ ମୁନସୀ

ହରି ସିଂହ ସରକାରୀ କର୍ମରେ ବାହାଲ ହେବା ଦିନଠାରୁ ମଫସଲର ସାନ ବଡ଼ ଅନେକ ପୋଷ୍ଟ ଅଫିସ୍‌କୁ ବଦଳି ହୋଇ କର୍ମ ଇଞ୍ଜାମ କରି ଆସିଲେଣି । ଆଜକୁ ଦଶ ବରଷ ହେଲା କଟକ ସଦର ପୋଷ୍ଟଅଫିସ୍‌ରେ ବରାବର ରହି କର୍ମ କରୁଛନ୍ତି । ଭଲରୂପେ କର୍ମ କରିବାରୁ ପ୍ରମୋଶନ ପାଇଲେଣି । ବର୍ତ୍ତମାନ ହେଡ଼ ପିଅନ, ଦରମା ମାସକୁ ନଅ ଟଙ୍କା । କଟକ ସହରରେ ସବୁ ଜିନିଷ କିଣା । ନିଆଁ ଟିକକ ପାଇଁ ଦିଆସିଲ୍‌ ଲାଇଟା ମଧ୍ୟ ନ କିଣିଲେ ନୁହେଁ । ଅତି କଷ୍ଟରେ ଚଳି ସୁଦ୍ଧା ମାସକୁ ପାଞ୍ଚ ଟଙ୍କାରୁ ଊଣା ଖରଚ ପଡ଼େ ନାହିଁ । କୌଣସି ରୂପେ ଘରକୁ ଚାରିଟଙ୍କା ନ ପଠାଇଲେ ନୁହେଁ । ଘରେ ସ୍ତ୍ରୀ ଆଉ ଆଠ ବରଷର ପୁଅ ଗୋପାଳ । ମଫସଲ ଜାଗା, ଚାରି ଟଙ୍କାରେ କୌଣସି ରୂପେ ଟାଣଟୁଣ ହୋଇ ଚଳିଯାଏ । ସେଥିରୁ ପଇସାଏ ଊଣା ହେଲେ ଅଚଳ । ଗୋପାଳ ଅପର ପ୍ରାଇମେରୀ ସ୍କୁଲରେ ପଢ଼େ । ସ୍କୁଲରେ ଦରମା ମାସକୁ ଦୁଇଅଣା । ସ୍କୁଲ ଦରମା ଛଡ଼ା ଆଜି ବହି ଖଣ୍ଡେ, କାଲି ସ୍ଲେଟ୍‌ କାଗଜ ଏ ସବୁ ଜିନିଷ କିଣିବାକୁ କେବେ କେବେ କିଛି କିଛି ବେଶି ଖରଚ ପଡ଼େ । ଏପରି ଉପୁରି ଖରଚ ପଡ଼ିଗଲେ ସେ ମାସରେ ଭାରି କଷ୍ଟ । ଦିନେ ଦିନେ ବୁଢ଼ାକୁ ଉପାସ ରହିଯିବାକୁ ହୁଏ । ଉପାସ ହେଉ ପଛେ, ମୋ ଗୋପାଳଟି ପଢ଼ୁ ।

ଦିନେ ପୋଷ୍ଟମାଷ୍ଟର ସର୍ଭିସ୍‌ ବୁକ୍‌ ଦେଖି କହିଲେ, “ହରି ସିଂହ, ତୁମ୍ଭର ପଞ୍ଚାବନ ବର୍ଷ ବୟସ ହୋଇଗଲା, ପେନ୍‌ସନ୍‌ ନେବାକୁ ହେବ, ଆଉ ଚାକିରି କରି ପାରିବି ନାହିଁ ।” ସିଂହଙ୍କ ମୁଣ୍ଡରେ ତ ବଜ୍ର ଭାଙ୍ଗି ପଡ଼ିଲା । କଣ କରିବେ, ସଂସାର ଚଳିବ କିପରି ? ସଂସାର ଯାହାହେଉ, ଗୋପାଳର ଯେ ପଢ଼ା ବନ୍ଦ । ଗୋପାଳ ଜନ୍ମଦିନଠାରୁ ସିଂହେ ମନ ମଧ୍ୟରେ ଭାରି ଗୋଟାଏ ଉଚ୍ଚ ଆଶା ପୋଷିଛନ୍ତି-ଗୋପାଳ ମଫସଲ ପୋଷ୍ଟଅଫିସ୍‌ରେ ସବ୍‌ପୋଷ୍ଟମାଷ୍ଟର ହେବ-ଅତି ନିକୁଛରେ ଭିଲେଜ୍‌ ପୋଷ୍ଟମାଷ୍ଟର ହେବ । ମାତ୍ର ଟିକିଏ ଇଂରାଜୀ ନ ଜାଣିଲେ ତେଡ଼େବଡ଼ ଚାକିରିଟା ମିଳିବା ମୁସ୍କିଲ । ମଫସଲରେ ସୁବିଧା ନାହିଁ, କଟକ ଆଣି ଇଂରାଜୀ ପଢ଼ାଇବାକୁ ହେବ । ଚାକିରି ଗଲେ ତେଡ଼େବଡ଼ ଆଶାରୁ ଏକାବେଳକେ ନିରାଶ । ସବୁବେଳେ ସେହି କଥା ଭାବି ଭାବି ଦେହଟା କଳାକାଠ ପଡ଼ିଗଲାଣି । ଦିନେଦିନେ ରାତିରେ ନିଦ ହୁଏ ନାହିଁ, ଭାବି ଭାବି ରାତି ପାହିଯାଏ । ସିଂହଙ୍କ ଉପରେ ପୋଷ୍ଟମାଷ୍ଟର ବାବୁଙ୍କର ଭାରି ମେହେରବାନି । ବସାରେ ମୁକରରି ଚାକର ଥିଲେ ମଧ୍ୟ ସରକାରୀ କାମ ସାରି ସଞ୍ଜବେଳେ ସିଂହେ ବାବୁଙ୍କ ବସାରେ ଦୁଇ ଚାରିଟା କାମଦାମ କରିଦେଇ ଆସନ୍ତି । ସଞ୍ଜବେଳେ ଗୋଟାଏ ଆରାମ୍‌ ଚୌକିରେ ପଡ଼ି ବାବୁ ଇଂରାଜୀ ଖବରକାଗଜ ପଢ଼ିବାବେଳେ ସିଂହେ ଯେଉଁ ମିଠା କଡ଼ା ଗୁଡ଼ାଖୁ ଚିଲମେ ସାଜି ଦିଅନ୍ତି, ସେପରି କେହି ଜାଣେ ନାହିଁ । ଦିନେ ସଞ୍ଜବେଳେ ସିଂହେ ଭଲ କରି ଗୁଡ଼ାଖ ଚିଲମେ ସାଜି ଆଣି ଭଲ କରି ଚିଲମଟା ଫୁଙ୍କିଦେଲେ । ବାବୁଙ୍କ ମୁହଁରୁ ଇଞ୍ଜିନ ପାଇପ୍‌ରୁ ବାହାରିଲା ପରି ଧୁଆଁଗୁଡ଼ାକ ଭକ୍‌ ଭକ୍ କରି ବାହାରୁଛି, ଟିକିଏ ଟିକିଏ ଆଖି ବୁଜି ଆସିଲାଣି । ସିଂହେ ବୁଝି ନେଲେ ଏହିଟା ଠିକ୍‌ ସମୟ । ସିଂହେ ବାବୁଙ୍କ ଗୋଡ଼ତଳେ ଦଣ୍ଡବତ ହୋଇ ହାତ ଯୋଡ଼ି ଖୁବ୍‌ ଭକ୍ତିରେ, ଖୁବ୍‌ ବିନୟରେ, ଖୁବ୍‌ ଧୀରେ, ଖୁବ୍‌ ମିଠା କଥାରେ ଆପଣାର ଦୁଃଖ ହାଲ ଚୁମ୍ବକ ଚୁମ୍ବକ ସମସ୍ତ କଥା ଜଣାଇଲେ । ଗୋପାଳ ସମ୍ବନ୍ଧରେ ତାଙ୍କର ଯେଉଁ ଉଚ୍ଚ ଆଶା, ତାହା ମଧ୍ୟ ଜଣାଇବାକୁ ପାସୋରିଲେ ନାହିଁ ।

ବାବୁ ସେହିପରି ନୟନ ମୁଦ୍ରିତାବସ୍ଥା-ଧୀର ଗମ୍ଭୀର ଭାବରେ କହିଲେ, “ଆଚ୍ଛା, ଦରଖାସ୍ତ ଖଣ୍ଡେ ଲେଖି ଆଣ ।” ବାବୁଙ୍କର ସାହସ ଥିଲା, କାରଣ ପୋଷ୍ଟାଲ ଇନ୍‌ସ୍ପେକ୍ଟର ବା ସୁପରିଣ୍ଟେଟେଣ୍ଡେଣ୍ଟ୍‌ ବାବୁମାନେ ଆସିଗଲେ ପୋଷ୍ଟମାଷ୍ଟର ବାବୁଙ୍କ ବସାରେ ରହନ୍ତି । ଉପର ହାକିମମାନଙ୍କ ମନସ୍ତୁଷ୍ଟି ପାଇଁ ଖାଦ୍ୟପେୟ ବିଷୟରେ ଯେପରି ଆୟୋଜନ ହେବାର ଉଚିତ୍‌, ସେଥିରୁ ତ୍ରୁଟି ହୁଏ ନାହିଁ । ସେ ରାତ୍ରରେ ପୋଷ୍ଟମାଷ୍ଟର ବାବୁ ‘ହରି ସିଂ, ହରି ସିଂ’ କରି ଦଶଥର ପାଟି କରୁଥିବାର ଶୁଣାଯାଏ । ହରି ସିଂହେ, ପୁରୁଣା ଲୋକ, ଢେର ଢେର ହାକିମହୁକୁମା ଅମଳ କଲେଣି । କାହାର କି ରକମ ମିଜାଜ, କିଏ କାହିଁରେ ଖୁସି, ଜାଣନ୍ତି । ସେ ଦିନ ଅଧରାତିଯାଏ ସିଂହଙ୍କୁ ବାବୁଙ୍କ ବସାରେ ରହିବାକୁ ହୁଏ । କାରଣ ଓଡ଼ିଶାର କଦର୍ଯ୍ୟ ହାଓଆ ହେତୁରୁ କେହି ବାବୁ ହଠାତ୍‌ ପୀଡ଼ିତ ହୋଇ ବାନ୍ତିଫାନ୍ତି କରି ପକାଇଲେ ହରି ସିଂହେ ସୋଡ଼ା କାଗଜିଲେମ୍ବୁ ପ୍ରଭୃତି ହାଜର କରାଇ ବାବୁଙ୍କୁ ସମ୍ଭାଳି ନିଅନ୍ତି । ବାବୁମାନେ ଆରାମରେ ଶୟନ କଲା ଉତ୍ତାରେ ସିଂହେ ଅଧରାତିରେ ବସାକୁ ଯାଇ ଆପଣା ପାଇଁ ରୋଷେଇ କରନ୍ତି । ଏହି ସୂତ୍ରରେ ସିଂହେ ଉପରବାଲା ହାକିମମାନଙ୍କଠାରେ ପରିଚିତ । ହରି ସିଂହଙ୍କ ଦରଖସ୍ତ ପିଠିରେ ପୋଷ୍ଟମାଷ୍ଟର ବାବୁ ଭଲ ରୂପେ ସୁପାରିସ କରି ସଦରକୁ ପଠାଇ ଦେଲେ, ଅଳ୍ପଦିନ ମଧ୍ୟରେ ଏକଷ୍ଟେନ୍‌ସନ୍‌ ହୁକୁମ ପହଞ୍ଚଲା । ସିଂହେ ତ ମହାଖୁସି, ଏହି ଖୁସି ଖବରଟା ଗାଁକୁ ଲେଖି ପଠାଇଲେ । ବର୍ତ୍ତମାନସର୍ବସ୍ଵ ଲୋକ ଉପସ୍ଥିତ ସୁଖ ବା ଦୁଃଖରେ ବିମୋହିତ ହୋଇ ପଡ଼ିଥାନ୍ତି । ଭବିଷ୍ୟତ ବିଧାତା ତାଙ୍କ ପାଇଁ କଣ ବିଧାନ କରୁଛନ୍ତି, ତେଣିକି ଥରେ ହେଲେ ଅନାଇବା ଦରକାର ମଣନ୍ତି ନାହିଁ । ସିଂହଙ୍କର ଏତେ ବଡ଼ ଆନନ୍ଦଟା ପାଣିଫୋଟକା ପରି ଫାଟିଗଲା । ଘରଠାରୁ ଚିଠି ଆସିଲା, ଗୋପାଳ ମାଆର ସନ୍ନିପାତ ରୋଗ, ଜୀବନର ଆଶା ନାହିଁ । ସିଂହେ ପୋଷ୍ଟମାଷ୍ଟର ବାବୁଙ୍କୁ ଚିଠିଖଣ୍ଡକ ଦେଖାଇଲେ । ବାବୁ ବଡ଼ ଦୟାଳୁ ଲୋକ, ତତ୍‌କ୍ଷଣାତ୍‌ ଛୁଟି ଦେଲେ । ସିଂହେ ଏକନିଶ୍ଵାସରେ ଘରକୁ ଧାଇଁଲେ, ଘରେ ପହଞ୍ଚି ଯାହା ଦେଖିଲେ, ତାଙ୍କ ଆଖିର ଜ୍ୟୋତି ହଜିଗଲା । ଜଗତଟା ଯେମନ୍ତ ଅନ୍ଧକାରମୟ । ବୁଢ଼ୀର କଥା ଶେଷ ପ୍ରାୟ ହେଲାଣି । ସ୍ବାମୀଙ୍କୁ କ୍ଷୀଣ ଦୃଷ୍ଟିରେ ଭଲ କରି ଅନାଇଲେ, ଦୁଇ ହାତ ଅଳ୍ପ ଉଠାଇ ଦଣ୍ଡବତ କଲେ, ସ୍ବାମୀଙ୍କ ଗୋଡ଼ଧୂଳି ନେବାକୁ ଠାରିଲେ । ସେହି ଧୂଳି ଟିକେ ପାଇଁ କି ଅନାଇ ରହିଥିଲେ ? ସବୁ ଶେଷ ହେଲା ! ସିଂହଙ୍କର ପ୍ରକୃତ ଗୃହ ଭଗ୍ନ ହେଲା । ସେ ଘର ମାଲମତା ଦୁଇ ଖଣ୍ଡ ବିକି ପିଲାଟିକୁ ଧରି କଟକ ପଳାଇ ଆସିଲେ ।

ଗୋପାଳ ମାଇନର ପଢ଼େ । ସିଂହଙ୍କର ବର୍ତ୍ତମାନ ଭାରି କଷ୍ଟ, ପେନ୍‌ସନ୍‌ ହୋଇଗଲାଣି, ଭାରି ଅଚଳ । ଘରେ ଲୋଟାକଂସା ଯାହା ଦୁଇଖଣ୍ଡ ଥିଲା, ବିକିବାକି ଖାଉଛନ୍ତି, ଚାକିରିରେ ଥିବାବେଳେ ଅତି କଷ୍ଟରେ ମାସକୁ ଦୁଇ ଚାରି ଅଣା ସଞ୍ଚି ସେଭିଂସ୍‌ ବେଙ୍କ୍‌ରେ କିଛି ରଖିଥିଲେ, ଗୋପାଳ ପଛରେ ମାଇନର ପଢ଼ାରେ ସବୁ ସାରିଲେ । ସିଂହଙ୍କର ପ୍ରବଳ ଆଶା, ଗୋପାଳ ପାସ୍‌ କଲେ ସବୁ କଷ୍ଟ ମେଣ୍ଟିବ । ଗୋପାଳ ମଧ୍ୟ କେତେଥର ଭରସା ଦେଇ କହିଲାଣି, “ବାପା, ଧାର କରଜ କରି ମୋତେ ପଢ଼ାଅ, ଚାକିରି କରି ଶୁଝିବି । ହରି ସିଂହଙ୍କର ଆର୍ତ୍ତ ପ୍ରାର୍ଥନା ଦୀନବନ୍ଧୁ ପ୍ରଭୁ ଭଗବାନ୍ ଶୁଣିଲେ । ଗୋପାଳ ମାଇନର ପାସ୍ କଲା । ସିଂହଙ୍କର ଆନ୍ଦର ସୀମା ନାହିଁ । ସେହି ପୁରୁଣା ପୋଷ୍ଟମାଷ୍ଟର ବାବୁ ଅଛନ୍ତି, ସିଂହେ ତାଙ୍କୁ ଧରି ବହୁତ ନିବେଦନ କଲେ । ଉପର ହାକିମମାନଙ୍କର ମଧ୍ୟ କିଛି ଅନୁଗ୍ରହ ଥିଲା, ଗୋପାଳ ଏକାବେଳକେ ମଫସଲ ମକ୍ରାମପୁର ପୋଷ୍ଟ ଅଫିସରେ ସବ୍‌ ପୋଷ୍ଟମାଷ୍ଟର ନିଯୁକ୍ତ ହେଲେ, ବେତନ ମାସକୁ କୋଡ଼ିଏ ଟଙ୍କା । ବର୍ତ୍ତମାନ ସଦର ପୋଷ୍ଟଅଫିସରେ ଚାରିମାସ କାମ ଶିଖି ମଫସଲ ଯିବେ । ହରି ସିଂହଙ୍କର ଆନନ୍ଦର ସୀମା ନାହିଁ; ଅନବରତ ପ୍ରଭୁଙ୍କ ଅନାଇ ମୁଣ୍ଡିଆ ମାରି ମାରି ଜଣାଉଛନ୍ତି, “ଧନ୍ୟ ପ୍ରଭୁ ତୁମ୍ଭର କରୁଣା, ଦୁଃଖୀର ଗୁହାରି ଶୁଣିଲ ।” ଚାକିରି ଖବର ଆସିବା ଦିନ ରାତିରେ ବୁଢ଼ା ସିଂହେ ନିରୋଳାରେ ବସି ଢେର କାନ୍ଦିଲେ । ହାୟ ! ଆଜି ବୁଢ଼ୀ ଥିଲେ କେଡ଼େ ଆନନ୍ଦଟା ହୁଅନ୍ତେ, ତାଙ୍କ ଗୋପାଳ ହାକିମ ଚାକିରି ପାଇଲା, ଆନନ୍ଦ ଉତ୍ସବରେ ଗଡ଼ି ଯାଉଥାନ୍ତେ । ହାୟ ! ଅଭାଗୀ କପାଳିରେ ଦେଖିବାକୁ ନାହିଁ । ହେଉ ହେଉ, ଗୋପାଳ ତ ହାକିମ ହେଲା । ପ୍ରଭୁ ଗୋପାଳଟିକୁ ରକ୍ଷାକରନ୍ତୁ ।

ଗୋପାଳ ପ୍ରଥମ ମାସ ଦରମାଟା ପାଇ ବୁଢ଼ା ହାତରେ ଦେଲେ । ବୁଢ଼ାର ଆନନ୍ଦ କହିଲେ ନ ସରେ, ଗୋଡ଼ ତଳେ ପଡୁନାହିଁ । ପୁଅ ହାକିମ; ଏତେ ଗୁଡ଼ାଏ ଟଙ୍କା ମାସକ ମଧ୍ୟରେ ଆଣିଲା । ଟଙ୍କା ଗୁଡ଼ାକ ଚାରି ପାଞ୍ଚ ଥର ଗଣି ଅଣ୍ଟିରେ ବାନ୍ଧି ଶୋଇଲେ । ଆରଦିନ ସକାଳେ ଲଣ୍ଡଭଣ୍ଡ ହୋଇ ବଜାରକୁ ଧାଇଁଲେ । ଜୁତା, କୁରୁତା, ଲୁଗା ଯାହା ଯାହା ଦରକାର କିଣାଗଲା । ଗୋପାଳ ଯେ ହାକିମ ହେଲାଣି, ସେ କଣ ଯେ ସେ ଲୁଗା ପିନ୍ଧିବ ? ଭେକ ଦେଖି ସିନା ଭିକ । ସେହିପରି ପୋଷାକ ଲୋଡ଼ା । ଏଣେ ଗୋପାଳବାବୁ ଅଫିସରେ ପାଞ୍ଚଜଣ ବାବୁଙ୍କ ସାଙ୍ଗରେ ବସି ଇଂରାଜୀ ଲେଖନ୍ତି । ବାବୁମାନଙ୍କ ସହିତ ସବୁବେଳେ କାରବାର, ସମସ୍ତେ ଡାକନ୍ତି ‘ଡାକ ମୁନ୍‌ସି ବାବୁ’, ପୁରା ନାମ ଗୋପାଳଚନ୍ଦ୍ର ସିଂହ । ଏଣେ ବସାରେ ଆସି ଦେଖନ୍ତି କଣ, ନା ବୁଢ଼ାଟା ଧୂଳିଆ ଲୁଗା ଖଣ୍ଡେ ପିନ୍ଧି କାମରେ ଲାଗିଛି, ଗୋପାଳ କିମିତି ଭଲ କରି ଦିଟା ଖାଇବ- ଗୋପାଳ ଗାଧେଇ ଗଲା, ଓଦା ଲୁଗା ଶୁଖି ନାହିଁ-ପିଲାଟା କାମ କରି କରି ଧନ୍ଦି ଗଲାଣି, ଏହି ସମସ୍ତ ଦିନ ରାତି ଚିନ୍ତା । ଆଗେ ବୁଢ଼ା ସିଂହେ ବେଳେ ବେଳେ ହରିନାମ କରୁଥିଲେ, କିଛି କିଛି ଧର୍ମ କର୍ମ କରୁଥିଲେ, ଏବେ ଗୋପାଳ ବାବୁଙ୍କ ପାଇଁ ସବୁ ଭୁଲିଗଲେଣି । ବୋଧ କରି, ହରି ଏ ସବୁ ଦେଖି ବୁଢ଼ା ଉପରେ ଖପା ହୋଇ ଗଲେଣି- ଧମକାଇ କହିଲେ, ‘ଆରେ ନିର୍ବୋଧ ଏ କଣରେ ! ଆଚ୍ଛା ବୁଝିବୁ !’ ଏଣିକି ଗୋପାଳ ବାବୁଙ୍କର ଭାବ କିଛି କିଛି ବଦଳି ଗଲାଣି । ଏବେ ବାପକୁ ଦେଖିଲେ ମିଛଟାରେ ହେଲେ ରଗରଗ ସିଂ ସିଂ ହୁଅନ୍ତି । ଏଟା ମୁର୍ଖ, ଇଂରାଜୀ ଜାଣେ ନାହିଁ-ମୂଲିଆ-ମଳିଆ ଲୁଗା ପିନ୍ଧିଥାଏ, ଏଟାକୁ ବାପ ବୋଲି ଡାକିବି, ଲୋକେ କଣ କହିବେ ! ସେ ଦିନ ଶିକ୍ଷିତା କେତେ ଜଣ ସ୍ତ୍ରୀଲୋକ ସେମିଜ ପିନ୍ଧି ପୋଷାକ ପିନ୍ଧି ଠିଆ ହୋଇଥିଲେ-ବୁଢ଼ାଟା ଦେହରେ କୁରୁତା ନାହିଁ, ସେମାନଙ୍କ ଆଗ ଦେଇ ଚାଲିଗଲା । କି ଲଜ୍ଜା, କି ଲଜ୍ଜା, ଏଟାକୁ ବସାରୁ ନ ତଡ଼ିଲେ ଆଉ ଇଜ୍ଜତ ରହିବ ନାହିଁ ।

ଦିନେ ଡାକ ମୁନସୀ ବାବୁ ବାପକୁ କହିଦେଲେ, “ଦେଖ, ତୁମେ ମୋର କିଛି ଉପକାର କାରି ନାହଁ, ଇଚ୍ଛା ହେଲେ ବସାରେ ରହ, ନୋହିଲେ ଚାଲିଯାଅ । ଆଉ ଦେଖ, ବାବୁମାନେ ଆମ ଦୁଆରକୁ ଆସିଲେ ତୁମେ ଘରୁ ବାହରିବ ନାହିଁ ।” ଗୋପାଳ କଥା ଶୁଣି ବୁଢ଼ାର କାନ ମୁଣ୍ଡ ଭାଁ ଭାଁ କଲା, ଚୁପ୍‌ ହୋଇ ବସି ପଡ଼ିଲା । କାହାକୁ କହିବ ? ପୁଅ କଥା; ଅଜାଗା ଘା ଦେଖି ହୁଏ ନାହିଁ, ଦେଖାଇ ହୁଏ ନାହିଁ । ଯାହାକୁ ମନର କଥା କହନ୍ତା, ସେ ଯାଇଛି । ବୁଢ଼ୀ କଥା ମନରେ ପଡ଼ିଲା, ଢେର କାନ୍ଦିଲା, ଚାରିଆଡ଼କୁ ଅନାଇଲା କେହି ଭରସା ନାହିଁ । ବୁଢ଼ା ଦୁଃଖ ବେଳେ ବୁଢ଼ୀ କଥା ମନରେ କରେ, ସୁଖ ବେଳେ ମନରେ କରେ । ମୁହଁ ପୋଛିଲା, ଆଉ କାନ୍ଦିଲା ନାହଁ, ଗୋପାଳର କାଳେ ଅମଙ୍ଗଳ ହେବ । ଗୋପାଳ ବାବୁ କାଲି ସକାଳେ ମଫସଲର କାମ ଜାଗାକୁ ଯିବେ, ବୁଢ଼ାକୁ ଜଣାଇ ନାହାଁନ୍ତି । ସକାଳୁ ଉଠିଲେ, ଅବଜ୍ଞାଭାବରେ କହିଲେ, “ଏ ବାବା, ମୁଁ ମଫସଲ ବାହାରିଲି । ଏହି ଜିନିଷପତ୍ର ସବୁ ଘେନି ଆସ । କେତେ ବା ଜିନିସ, ବୁଝି ଖବରଦାର, ମୁଲିଆ କରିବ ନାହିଁ, କଲେ ତୁମେ ଜାଣ ମୁଁ ପଇସା ଦେବି ନାହିଁ ।” ବାବୁ ପୋଷାକ ପିନ୍ଧି କାଖରେ ଛତା ଯାକି ବାଡ଼ି ଘୂରାଇ ଘୂରାଇ ଚାଲିଗଲେ । ବୁଢ଼ା କଣ କରିବ, ସବୁ ଜିନିସ ରୁଣ୍ଡାଇ ପୁଣ୍ଡାଇ ଗୋଟାଏ ଗଣ୍ଠିରି ବାନ୍ଧି ମୁଣ୍ଡାଇଲା । ଚାଲି ପାରୁ ନାହିଁ, ଦେହରେ ବଳ ନାହିଁ, ଆଖିରୁ ବେଳେ ବେଳେ ପାଣି ବହି ପଡୁଛି, ଦଶ ଜାଗା ବସି ଉଠି ସଞ୍ଜ ସରିକି ମକ୍ରାମପୁରରେ ପହଞ୍ଚିଲା । ଡେରି ହେବାରୁ ବାବୁ ଫଜିତଟାଏ କଲେ, ବୁଢ଼ା ଗୁମ୍‌ ହୋଇ ବସି ଥକା ମେଣ୍ଟାଉଥାଏ । ବାବୁ ସକାଳେ ସଞ୍ଜ ଅଫିସକୁ ଯାନ୍ତି, ବୁଢ଼ାଟା ମୁହଁ ବୁଜି ବସାରେ କାମ ପାଇଟିରେ ଲାଗିଥାଏ । ବାପ ପୁଅ ଦୁଇଜଣ ଏକ ଜାଗାରେ ବସି ଦୁଇଟା ସୁଖ ଦୁଃଖ କଥା ହେଉଛନ୍ତି, ଏ କଥା କେହି କେବେ ଦେଖିନାହିଁ । ଡାକମୁନସି ହେଲେ ମଫସଲର ଗୋଟାଏ ହାକିମ । କେତେ ଲୋକ ଆସି ଦଣ୍ଡବତ କରି ଯାଉଛନ୍ତି, ମୁର୍ଖ ବୁଢ଼ାଟା କଣ ଜାଣେ ଯେ ତା ସାଙ୍ଗରେ କଥା କହିବେ !

ବୁଢ଼ା ଦେହରେ ମଫସଲର ପାଣି ଚଳିଲା ନାହିଁ, ଜର ହେଲେ ଖୁଁ ଖୁଁ କରି କାଶେ, ସେ କାଶଟା ରାତିକି ବେଶି ହୁଏ । ବାବୁ ଶୋଇବାରେ ହରକତ ହେଲେ । ପିଅନକୁ ହୁକୁମ ଦେଲେ, “ବୁଢ଼ାଟାକୁ କିଆବାଡ଼ରେ ଫୋପାଡ଼ି ଦେଇ ଆସ ।” ସେ ପିଅନଟା ମୁର୍ଖ; ଇଂରାଜୀ ପଢ଼ି ନାହିଁ, ତାର ଗୋଟାଏ ଦେଶୀ ହୃଦୟ ଅଛି, ବିଚାର କଲା ‘କଣ ଏ ? ବୁଢ଼ା ରୋଗୀଟିକୁ କିଆ-ବାଡ଼ରେ ଶୁଆଇ ଦେବି?’ ଦିନେ ବୁଢ଼ାର ଭାରି ଜର, ତିନିଦିନ ଖାଇ ନାହିଁ, ଅଧରାତି, ଅନ୍ଧାର, ଥଣ୍ଡା ପାଇ ବୁଢ଼ାର କାଶ ବଳି ପଡ଼ିଲା । ବାବୁ ତ ଭାରି ଖପା, ବୁଢ଼ା ଛାତିରେ ଦୁଇଟା ଇଂରାଜୀ ଘୂଷି ମାରିଲେ, ବିଛଣାପତ୍ର ବାହାରକୁ ଫୋପାଡ଼ି ଦେଲେ । ବୁଢ଼ା ଗାଁକୁ ପଳାଇଲା । ପାଖରେ ଥିବା ଖୁବ୍‌ ଭଲ ଲୋକଙ୍କଠାରୁ ଶୁଣା ଯାଇଛି, ଗୋପାଳ ବାବୁଙ୍କ ମନ ସେହିଦିନଠାରୁ ବଡ଼ ଖୁସି । ଆଉ ଏଣେ ବୁଢ଼ା ଗାଁକୁ ଆସି ତାହାର ଯେଉଁ ଦୁଇ ମାଣ ଜମି ଥିଲା ଭାଗରେ ଲଗାଇଦେଲା, ଘରେ ବସି ଧାନ ପାଏ । ପେନସନ୍‌ ଟଙ୍କାରେ ଲୁଗାପଟା, ଲୁଣ ତେଲ ଖର୍ଚ୍ଚ ଚଳେ । କାଶ ହେଲା ଦିନଠୁଁ ବୁଢ଼ା ଟିକିଏ ଟିକିଏ ଅଫିମ ଧରିଛି । ସବୁ ଖର୍ଚ୍ଚ ଚଳେ, ଘରଠାରେ ପିଣ୍ଡାରେ ବସି ହରିନାମ କରେ । ଉଛୁଣି ବାପ ପୁଅ ଦୁହେଁ ଖୁସି । ପରର ସୁଖ ଦେଖି ପାଠକ ମହାଶୟ ଖୁସି ହୁଅ ।