ପୃଷ୍ଠା:Akashare Luchakali.pdf/୧୩

ଉଇକିପାଠାଗାର ରୁ
Jump to navigation Jump to search
ଏହି ପୃଷ୍ଠାଟି ବୈଧ ହୋଇସାରିଛି

ଆକାଶରେ ଲୁଚକାଳି

କେବେ କେବେ ଆଶିଂକ ପରାଗ ମଝିରେ କିଛି ବିଶେଷ ଦୃଶ୍ୟ ଦେଖାଯାଏ । କେବେ ସୂର୍ଯ୍ୟ ପୂରା ଲୁଚିଯାଏ ବା ପୂର୍ଣ୍ଣ ପରାଗ ହୁଏ । ଆଉ କେବେ ସୂର୍ଯ୍ୟର ଦେହଟି ପ୍ରାୟ ପୂରା ଘୋଡାଇ ହୋଇଯାଏ । କେବଳ ତା'ର ବାହାର ଧାରଟି ଗୋଟିଏ ଉଜଳ ବଳୟ ଭାବରେ ଦେଖାଯାଏ । ଏହାକୁ ବଳୟ ପରାଗ କୁହାଯାଏ । ଏହି ଦୁଇ ବିଶେଷ ଅବସ୍ଥା ପୂର୍ଣ୍ଣ ଗ୍ରାସ ଓ ବଳୟ ଗ୍ରାସ ପୃଥିବୀର ଖୁବ ଅଳ୍ପ ଅଞ୍ଚଳରେ ଓ ଅଳ୍ପ ସମୟ ପାଇଁ ଦେଖାଯାଏ । ଏହାର ପୂର୍ବରୁ ଓ ପରେ ଖଣ୍ଡ ଗ୍ରାସ ଲାଗି ରହିଥାଏ । ଅନୁକୂଳ ପରିସ୍ଥିତିରେ ପରାଗ ଅବସ୍ଥା ୪ ଘଣ୍ଟା ପର୍ଯ୍ୟନ୍ତ ଦେଖାଯାଇପାରେ ।

ଚନ୍ଦ୍ରଗ୍ରହଣ ମଧ୍ୟ ୪ ଘଣ୍ଟା ପର୍ଯ୍ୟନ୍ତ ଦେଖା ଯାଇଥାଏ । ଏହା କେବଳ ଆଂଶିକ କିମ୍ବା ପୂର୍ଣ୍ଣ ଗ୍ରାସ ଅବସ୍ଥା ଦେଖାଏ । ଚନ୍ଦ୍ରଗ୍ରହଣ ପୃଥିବୀର ପ୍ରାୟ ସବୁ ଅନ୍ଧାର ଅଞ୍ଚଳକୁ ଦେଖା ଯାଇପାରେ । ପୂର୍ଣ୍ଣ ଗ୍ରାସ ଅବସ୍ଥାରେ ମଧ୍ୟ ଚନ୍ଦ୍ର ପୂରା ଉଭେଇ ଯାଏନାହିଁ । କିନ୍ତୁ ପୂର୍ଣ୍ଣୀମାର ତୋଫା ଧଳା ରୂପ ବଦଳରେ ଏହା ମଇଳା ଲାଲ ରଙ୍ଗର ଦେଖାଯାଏ । ଏଥିପାଇଁ ମଣିଷ ଦିନେ ଭାବୁଥିଲା ଯେ ଚନ୍ଦ୍ରରେ ରକ୍ତ ମାଡି ଯାଉଛି ।

କାହିଁକି ?

ଗ୍ରହଣ ଓ ପରାଗ ବିଷୟରେ ମଣିଷ ମନରେ ଦୁଇଟି ବିଶେଷ ପ୍ରଶ୍ନ ଆସିଲା :

୧* କାହିଁକି ସବୁ ପୂର୍ଣ୍ଣମୀ ଓ ଅମାବାସ୍ୟାରେ ଗ୍ରହଣ ବା ପରାଗ ଦେଖା ଯାଏନାହିଁ ?

୨* ପୂର୍ଣ୍ଣ, ବଳୟ ବା ଆଂଶିକ ପରାଗ ହେବାର କାରଣ କ'ଣ ?