ପୃଷ୍ଠା:Galpa swalpa.djvu/୭୨

ଉଇକିପାଠାଗାର‌ରୁ
ଏହି ପୃଷ୍ଠାଟି ସଂଶୋଧନ ହୋଇସାରିଛି
ଫକୀରମୋହନ ଗ୍ରନ୍ଥାବଳୀ

ଖୁବ୍‌ ଭକ୍ତିରେ, ଖୁବ୍‌ ବିନୟରେ, ଖୁବ୍‌ ଧୀରେ, ଖୁବ୍‌ ମିଠା କଥାରେ ଆପଣାର ଦୁଃଖ ହାଲ ଚୁମ୍ବକ ଚୁମ୍ବକ ସମସ୍ତ କଥା ଜଣାଇଲେ । ଗୋପାଳ ସମ୍ବନ୍ଧରେ ତାଙ୍କର ଯେଉଁ ଉଚ୍ଚ ଆଶା, ତାହା ମଧ୍ୟ ଜଣାଇବାକୁ ପାସୋରିଲେ ନାହିଁ । ବାବୁ ସେହିପରି ନୟନ ମୁଦ୍ରିତାବସ୍ଥା-ଧୀର ଗମ୍ଭୀର ଭାବରେ କହିଲେ, “ଆଚ୍ଛା, ଦରଖାସ୍ତ ଖଣ୍ଡେ ଲେଖି ଆଣ ।” ବାବୁଙ୍କର ସାହସ ଥିଲା, କାରଣ ପୋଷ୍ଟାଲ ଇନ୍‌ସ୍ପେକ୍ଟର ବା ସୁପରିଣ୍ଟେଟେଣ୍ଡେଣ୍ଟ୍‌ ବାବୁମାନେ ଆସିଗଲେ ପୋଷ୍ଟମାଷ୍ଟର ବାବୁଙ୍କ ବସାରେ ରହନ୍ତି । ଉପର ହାକିମମାନଙ୍କ ମନସ୍ତୁଷ୍ଟି ପାଇଁ ଖାଦ୍ୟପେୟ ବିଷୟରେ ଯେପରି ଆୟୋଜନ ହେବାର ଉଚିତ୍‌, ସେଥିରୁ ତ୍ରୁଟି ହୁଏ ନାହିଁ । ସେ ରାତ୍ରରେ ପୋଷ୍ଟମାଷ୍ଟର ବାବୁ ‘ହରି ସିଂ, ହରି ସିଂ’ କରି ଦଶଥର ପାଟି କରୁଥିବାର ଶୁଣାଯାଏ । ହରି ସିଂହେ, ପୁରୁଣା ଲୋକ, ଢେର ଢେର ହାକିମହୁକୁମା ଅମଳ କଲେଣି । କାହାର କି ରକମ ମିଜାଜ, କିଏ କାହିଁରେ ଖୁସି, ଜାଣନ୍ତି । ସେ ଦିନ ଅଧରାତିଯାଏ ସିଂହଙ୍କୁ ବାବୁଙ୍କ ବସାରେ ରହିବାକୁ ହୁଏ । କାରଣ ଓଡ଼ିଶାର କଦର୍ଯ୍ୟ ହାଓଆ ହେତୁରୁ କେହି ବାବୁ ହଠାତ୍‌ ପୀଡ଼ିତ ହୋଇ ବାନ୍ତିଫାନ୍ତି କରି ପକାଇଲେ ହରି ସିଂହେ ସୋଡ଼ା କାଗଜିଲେମ୍ବୁ ପ୍ରଭୃତି ହାଜର କରାଇ ବାବୁଙ୍କୁ ସମ୍ଭାଳି ନିଅନ୍ତି । ବାବୁମାନେ ଆରାମରେ ଶୟନ କଲା ଉତ୍ତାରେ ସିଂହେ ଅଧରାତିରେ ବସାକୁ ଯାଇ ଆପଣା ପାଇଁ ରୋଷେଇ କରନ୍ତି । ଏହି ସୂତ୍ରରେ ସିଂହେ ଉପରବାଲା ହାକିମମାନଙ୍କଠାରେ ପରିଚିତ । ହରି ସିଂହଙ୍କ ଦରଖସ୍ତ ପିଠିରେ ପୋଷ୍ଟମାଷ୍ଟର ବାବୁ ଭଲ ରୂପେ ସୁପାରିସ କରି ସଦରକୁ ପଠାଇ ଦେଲେ, ଅଳ୍ପଦିନ ମଧ୍ୟରେ ଏକଷ୍ଟେନ୍‌ସନ୍‌ ହୁକୁମ ପହଞ୍ଚଲା । ସିଂହେ ତ ମହାଖୁସି, ଏହି ଖୁସି ଖବରଟା ଗାଁକୁ ଲେଖି ପଠାଇଲେ । ବର୍ତ୍ତମାନସର୍ବସ୍ୱ ଲୋକ ଉପସ୍ଥିତ ସୁଖ ବା ଦୁଃଖରେ ବିମୋହିତ ହୋଇ ପଡ଼ିଥାନ୍ତି । ଭବିଷ୍ୟତ ବିଧାତା ତାଙ୍କ ପାଇଁ କଣ ବିଧାନ କରୁଛନ୍ତି, ତେଣିକି ଥରେ ହେଲେ ଅନାଇବା ଦରକାର ମଣନ୍ତି ନାହିଁ । ସିଂହଙ୍କର ଏତେ ବଡ଼ ଆନନ୍ଦଟା ପାଣିଫୋଟକା ପରି ଫାଟିଗଲା । ଘରଠାରୁ ଚିଠି ଆସିଲା, ଗୋପାଳ ମାଆର ସନ୍ନିପାତ ରୋଗ, ଜୀବନର ଆଶା ନାହିଁ । ସିଂହେ ପୋଷ୍ଟମାଷ୍ଟର ବାବୁଙ୍କୁ ଚିଠିଖଣ୍ଡକ ଦେଖାଇଲେ । ବାବୁ ବଡ଼ ଦୟାଳୁ ଲୋକ, ତତ୍‌କ୍ଷଣାତ୍‌ ଛୁଟି ଦେଲେ । ସିଂହେ ଏକନିଶ୍ୱାସରେ ଘରକୁ ଧାଇଁଲେ, ଘରେ ପହଞ୍ଚି ଯାହା ଦେଖିଲେ, ତାଙ୍କ ଆଖିର ଜ୍ୟୋତି ହଜିଗଲା । ଜଗତଟା ଯେମନ୍ତ ଅନ୍ଧକାରମୟ । ବୁଢ଼ୀର କଥା ଶେଷ ପ୍ରାୟ ହେଲାଣି । ସ୍ବାମୀଙ୍କୁ କ୍ଷୀଣ ଦୃଷ୍ଟିରେ ଭଲ କରି ଅନାଇଲେ, ଦୁଇ ହାତ ଅଳ୍ପ ଉଠାଇ ଦଣ୍ଡବତ କଲେ, ସ୍ବାମୀଙ୍କ ଗୋଡ଼ଧୂଳି ନେବାକୁ ଠାରିଲେ । ସେହି ଧୂଳି ଟିକେ ପାଇଁ କି ଅନାଇ ରହିଥିଲେ ? ସବୁ ଶେଷ ହେଲା ! ସିଂହଙ୍କର ପ୍ରକୃତ ଗୃହ ଭଗ୍ନ ହେଲା । ସେ ଘର ମାଲମତା ଦୁଇ ଖଣ୍ଡ ବିକି ପିଲାଟିକୁ ଧରି କଟକ ପଳାଇ ଆସିଲେ ।

ଗୋପାଳ ମାଇନର ପଢ଼େ । ସିଂହଙ୍କର ବର୍ତ୍ତମାନ ଭାରି କଷ୍ଟ, ପେନ୍‌ସନ୍‌ ହୋଇଗଲାଣି, ଭାରି ଅଚଳ । ଘରେ ଲୋଟାକଂସା ଯାହା ଦୁଇଖଣ୍ଡ ଥିଲା, ବିକିବାକି ଖାଉଛନ୍ତି, ଚାକିରିରେ ଥିବାବେଳେ ଅତି କଷ୍ଟରେ ମାସକୁ ଦୁଇ ଚାରି ଅଣା ସଞ୍ଚି ସେଭିଂସ୍‌ ବେଙ୍କ୍‌ରେ କିଛି ରଖିଥିଲେ, ଗୋପାଳ ପଛରେ ମାଇନର ପଢ଼ାରେ ସବୁ ସାରିଲେ । ସିଂହଙ୍କର ପ୍ରବଳ ଆଶା, ଗୋପାଳ ପାସ୍‌ କଲେ ସବୁ କଷ୍ଟ ମେଣ୍ଟିବ । ଗୋପାଳ ମଧ୍ୟ କେତେଥର ଭରସା ଦେଇ କହିଲାଣି, “ବାପା, ଧାର କରଜ କରି ମୋତେ ପଢ଼ାଅ, ଚାକିରି କରି ଶୁଝିବି । ହରି ସିଂହଙ୍କର ଆର୍ତ୍ତ ପ୍ରାର୍ଥନା ଦୀନବନ୍ଧୁ ପ୍ରଭୁ ଭଗବାନ୍ ଶୁଣିଲେ । ଗୋପାଳ ମାଇନର ପାସ୍ କଲା । ସିଂହଙ୍କର ଆନ୍ଦର ସୀମା ନାହିଁ । ସେହି ପୁରୁଣା